ଭୁବନେଶ୍ୱର, ୧୩ ଅଗଷ୍ଟ - ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଅନୁରୂପ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା, ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା ଏବଂ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





